
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଯାହା ଫଳରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅବପାତ ରୂପ ନେବାର ଯଥେଷ୍ଟ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିବ। ଏନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହି ସମୟରେ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହିବା ସମ୍ଭାବନା ଥିବାରୁ ବିଶେଷକରି ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାର ସାରା ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ଅତ୍ୟଧିକ ପ୍ରବଳ ବର୍ଷା ହେବା ନେଇ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି।





